ଶନିବାର ସାଢେ ୫ଟାରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଶନିବାର ସାଢେ ୫ଟାରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ବଡ ଖବର ଓଡିଶା

#ଶନିବାର_ବନ୍ଦେ_ଉତ୍କଳ_ଜନନୀ_ଗାନ_କରିବାକୁ_ମୁଖ୍ୟମନ୍ତ୍ରୀଙ୍କ_ଆହ୍ୱାନ           ଭୁବନେଶ୍ୱର : କୋଭିଡ ଯୋଦ୍ଧା ମାନଙ୍କୁ ଉତ୍ସାହିତ କରିବା ଏବଂ ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଆସନ୍ତା ମଇ ୩୦ ତାରିଖ ଶନିବାର ଦିନ ସଂଧ୍ୟା ୫ଟା ୩୦ ସମୟରେ ବନ୍ଦେ ଉତ୍କଳ ଜନନୀ ସଂଗୀତ ଗାନ କରିବାକୁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆହ୍ୱାନ ଜଣାଇଛନ୍ତି । ଦୁନିଆର ଯେକୌଣସି ସ୍ଥାନରେ ଥିବା ଓଡିଆମାନେ ସାମାଜିକ ଦୂରତା ରକ୍ଷା କରି ବନ୍ଦେ ଉତ୍କଳ ଜନନୀ ସଂଗୀତ ଗାନ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଗୁରୁବାର ଦିନ ଅପରାହ୍ନରେ ଏକ ଭିଡିଓ ବାର୍ତ୍ତା ଜରିଆରେ ରାଜ୍ୟବାସୀଙ୍କୁ ସମ୍ଭୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମର ସଂକଳ୍ପକୁ ଆହୁରି ଦୃଢ କରିବା ପାଇଁ ଏହା ପ୍ରେରଣା ଯୋଗାଇବ । ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଦାବୀ ସମୟରେ ଉତ୍କଳ ସମ୍ମିଳନୀର ଆଦ୍ୟ ସଂଗୀତ ଥିଲା ବନ୍ଦେ ଉତ୍କଳ ଜନନୀ । ଓଡିଆ ଜାତୀୟତାର ବନ୍ଧନକୁ ଏହା ମଜବୁତ କରିଥିଲା । ବର୍ତ୍ତମାନ ସମୟରେ ଏହା ଓଡିଆ ଜାତିକୁ, ଆମ ସମସ୍ତଙ୍କୁ ଅଭୂତପୂର୍ବ ପ୍ରେରଣା ଯୋଗାଇବ ।
ଆଗକୁ ଆମ ପାଇଁ ଆହୁରି କଠିନ ରାସ୍ତା ଆସିପାରେ । ଆଗାମୀ ଦିନର ଆହ୍ୱାନକୁ ସଫଳ ଭାବରେ ମୁକାବିଲା କରିବା ଏବଂ ନୂଆ ସଂକଳ୍ପ ନେଇ କାମ କରିବା ପାଇଁ ଏହା ଆମକୁ ଶକ୍ତି ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆସ୍ଥା ପ୍ରକଟ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ ଦୁଇ ମାସ ଧରି ସାରା ଦୁନିଆ ଏକ ବହୁତ ବଡ ଜଟିଳ ପରିସ୍ଥିତିର ସାମନା କରୁଛି । ବଡ ବଡ ଧନୀ ଦେଶ, ଶକ୍ତିଶାଳୀ ଦେଶରେ ବି କୋଭିଡ ଆତଙ୍କ ସୃଷ୍ଟି କରିଛି । ସେହି ଏକା ସମୟରେ ଆମ ଓଡିଶା ବି କୋଭିଡ ବିରୁଦ୍ଧରେ ତାର ଯୁଦ୍ଧ ଆରମ୍ଭ କଲା । କୋଭିଡରୁ ଲୋକଙ୍କୁ ରକ୍ଷା କରିବା ଏବଂ ଲୋକଙ୍କ ଜୀବନ ବଞ୍ଚାଇବା ସେତେବେଳେ ସରକାରଙ୍କ ପ୍ରାଥମିକତା ଥିଲା । ପ୍ରତିଟି ଜୀବନର ସୁରକ୍ଷା ହେଉଛି ମୋ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ସେତେବେଳେ ଆମେ ଯାହା ବି ନୀତି, ଯାହା ବି ପଦକ୍ଷେପ ଗ୍ରହଣ କରିଥିଲୁ, ତାର ଏକମାତ୍ର ଲକ୍ଷ୍ୟ ଥିଲା ମୋର ପ୍ରିୟ ସାଢେ ଚାରି କୋଟି ଓଡିଶାବାସୀଙ୍କ ଜୀବନ ରକ୍ଷା କରିବା ।
ଏବେ ଦୁଇ ମାସରୁ ଅଧିକ ସମୟ ହୋଇଗଲା । କୋଭିଡ ଯୁଦ୍ଧରେ ଲୋକଙ୍କ ଜୀବନ ବଞ୍ଚାଇବାରେ ଓଡିଶା କେବଳ ଭାରତବର୍ଷରେ ନୁହେଁ, ସାରା ବିଶ୍ୱରେ ଏକ ଉଦାହରଣ ସୃଷ୍ଟି କରିପାରିଛି । କୋଭିଡରେ ଓଡିଶାର ମୃତ୍ୟୁହାର ସାରା ଦୁନିଆରେ ସବୁଠାରୁ କମ୍ । କରୋନା ପୀଡିତ ମାନଙ୍କ ମଧ୍ୟରୁ ଅଧାରୁ ଅଧିକ ଲୋକ ସୁସ୍ଥ ହୋଇ ଘରକୁ ଫେରିଲେଣି । ଓଡିଶା ପରି ଗୋଟିଏ ରାଜ୍ୟ ତଥା ଆମ ଓଡିଶାବାସୀଙ୍କ ପାଇଁ ଏହା ଏକ ବଡ ସଫଳତା । ଦୁନିଆର ଶକ୍ତିଶାଳୀ ଦେଶ ତଥା ଭାରତର ବଡ ବଡ ରାଜ୍ୟ, ଧନୀ ରାଜ୍ୟମାନେ ମଧ୍ୟ କରୋନା ଯୁଦ୍ଧରେ ଏତେ ସଫଳତା ପାଇପାରି ନାହାନ୍ତି । ଓଡିଆ ଜାତି ପାଇଁ ଏହା ଏକ ଅଭୂତପୂର୍ବ ସଫଳତା ।
ଏହି ସମୟରେ ପ୍ରବାସରେ ଥିବା ଲକ୍ଷ ଲକ୍ଷ ଓଡିଆ ଭାଇଭଉଣୀ ଘରକୁ ଫେରିଛନ୍ତି ତଥାପି କୋଭିଡ ବିରୁଦ୍ଧରେ ଚାଲିଥିବା ସଂଗ୍ରାମରେ ଆମେ ଭଲ ସ୍ଥିତିରେ ଅଛୁ । ଏହା ପଛରେ ରହିଛି କରୋନା ଯୁଦ୍ଧରେ ଦିନରାତି କାମ କରୁଥିବା ଲକ୍ଷ ଲକ୍ଷ କୋଭିଡ ଯୋଦ୍ଧାମାନଙ୍କ ତ୍ୟାଗ, ନିଷ୍ଠା ଓ ପ୍ରତିବଦ୍ଧତା । ସିଏ ଯିଏ ବି ହୁଅନ୍ତୁ – ଲୋକ ପ୍ରତିନିଧି, ସରକାରୀ ବା ବେସରକାରୀ କର୍ମଚାରୀ ସମସ୍ତେ ନିଜ ନିଜର ସୁଖଦୁଃଖକୁ ପଛରେ ପକାଇ ଯେଭଳି ସେବା ଯୋଗାଇ ଚାଲିଛନ୍ତି, ତାର ତୁଳନା ନାହିଁ । ସେହିପରି ଏହି ଯୁଦ୍ଧରେ ସାରା ଓଡିଶାବାସୀ ସରକାରଙ୍କ ପଦକ୍ଷେପକୁ ଯେଭଳି ବିପୁଳ ସମର୍ଥନ ଦେଇଛନ୍ତି, ସେଥିପାଇଁ ମୁଁ ସମସ୍ତଙ୍କ ନିକଟରେ ଋଣୀ । ଏହାସହିତ ମହାପ୍ରଭୂଙ୍କ ଆଶୀର୍ବାଦ ମଧ୍ୟ ସବୁବେଳେ ଆମ ସାଥିରେ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।